ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା

ଭୁବନେଶ୍ବର : ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି । ପ୍ରଥମ ଲଘୁଚାପ ୭ ତାରିଖ ସୁଦ୍ଧା ଏବଂ ଦ୍ବିତୀୟ ଲଘୁଚାପ କ୍ଷେତ୍ର ୯ ରୁ ୧୫ ମଧ୍ୟରେ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହି ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ବିଶେଷକରି ଆସନ୍ତା ୫ ରୁ ବର୍ଷା ବଢ଼ିବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୪ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷାର ସମ୍ଭାବନା ରହିଛି । ୪ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ଆଶଙ୍କା ଥିବାରୁ ବିଭିନ୍ନ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ବର ଆଦି ୧୨ଟି ଜିଲାର କେତେକ ଅଞ୍ଚଳରେ ବଜ୍ରପାତକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୫ ବେଳକୁ ମୌସୁମୀ ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ଅଛି । ୫ରେ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, ରାୟଗଡା, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ । ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ଗଞ୍ଜାମର ଶେରଗଡରେ ସର୍ବାଧିକ ୩୩.୫ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ଦିଗପହଣ୍ଡି ୨୬ ମିମି, ନରାଜ ୨୧.୮ ମିମି, ଯମନକିରା ୧୬.୮ ମିମି, ମହେନ୍ଦ୍ରଗିରି ୧୫.୮ ମିମି, ଡାବୁଗାଁ ୯.୨ ମିମି ବର୍ଷା ହୋଇଛି । ଶୁକ୍ରବାର ଦାରିଙ୍ଗବାଡି ଅଞ୍ଚଳରେ ହାଲୁକା ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *